ଭୁବନେଶ୍ୱର, (ଏସ୍ ନ୍ୟୁଜ): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବୀରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ସହିଦ ହୋଇଥିବା ଅମର ଯବାନ ଏବଂ କରୋନା ଲଢେଇରେ ସହିଦ ହୋଇଥିବା କୋଭିଡ ଯୋଦ୍ଧାମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ହକିରେ ଓଡ଼ିଶାର ଅବଦାନ ଖୁବ୍ ଗୁରୁତ୍ୱପୂର୍ଣ୍ଣ : ମହାପୁରୁଷଙ୍କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହକିରେ ଓଡ଼ିଶାର ଅବଦାନ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ୨୦୧୮ରେ ଓଡ଼ିଶା ହକି ଦଳର ପ୍ରାୟୋଜକ ହୋଇଥିଲା । ଏହାର ସୁଫଳ ଏବେ ମିଳିଛି । ଅଲମ୍ପିକରେ ଭାରତୀୟ ହକି ଦଳ ପଦକ ଜିତିଛି । କୋଭିଡ୍ ମୁକାବିଲାରେ ଓଡ଼ିଶା ଅନ୍ୟମାନଙ୍କୁ ବାଟ ଦେଖାଇଛି । ଅନ୍ୟ ରାଜ୍ୟମାନଙ୍କୁ ଅକ୍ସିଜେନ ଯୋଗାଇ ଜୀବନ ବଞ୍ଚାଇଛୁ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ ସମୟ ନହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ୱ ରହିଛି । ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି । ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍ସରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଆମ ଖେଳାଳୀମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଏହି ସମୟରେ ଇନଭେଷ୍ଟମେଣ୍ଟ ଇନ ୟୁଥ ଇଜ୍ ଇନଭେଷ୍ଟମେଣ୍ଟ ଫର ଫ୍ୟୁଚର କଥା ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
କୋଭିଡ୍ ମୁକାବିଲାରେ ଅନ୍ୟମାନଙ୍କୁ ବାଟ ଦେଖାଇଛି ଓଡ଼ିଶା
କୋଭିଡ ମହାମାରୀକୁ ବିଶ୍ୱ ଇତିହାସର ସବୁଠାରୁ ବଡ ସ୍ୱାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ିସିଜେନ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି ।
Next Post