୨୪ ଘଣ୍ଟା ପ୍ରବଳ ବର୍ଷା, ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଗଞ୍ଜାମ (ଏସ୍‌ନ୍ୟୁଜ) : ଲଘୁଚାପ ଜନିତ ବର୍ଷା ଯୋଗୁଁ ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ବର୍ଷ ପାଇଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଗଞ୍ଜାମ ଜିଲ୍ଲାର ନାରାୟଣପୁର-ଆଲିପୁର ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ ପାଣି ହୋଇଯାଇଛି । ଲୋକେ ହନ୍ତସନ୍ତ ହେବା ସହ ନାହିଁ ନଥିବା ଅସୁବିଧା ଭୋଗ କରୁଛନ୍ତି ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଢେଙ୍କାନାଳ, ଅନୁଗୁଳ ସମେତ କଟକ, ଖୋର୍ଧା, ନୟ‌ାଗଡ଼, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏଥିସହ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ୧୫ ତାରିଖ ପୂର୍ବାହ୍ନଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।