ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନାଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଶନିବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ଦିଆଯାଇଛି ।