୨୪ ଘଣ୍ଟା ମଧ୍ୟରେ ୯୩୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୧୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କିଛି ହ୍ରାସ ପାଇ ଥିଲେ ବି ୧୫୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୩୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୩୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୧,୫୧୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୦୯ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୭ଟି ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୬,୪୯୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୫୧୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।