ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ: କୋଇଲା ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ୱତନ୍ତ୍ର ସିବିଆଇ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଅଦାଲତ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ଅନ୍ୟ ଦୁଇ ଜଣଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ କରାଦଣ୍ଡାଦେଶ ଶୁଣାଇଥିବା ସୂଚନା ମିଳିଛି। ଏହି ମାମଲାରେ ଅଦାଲତ କୋଇଲା ମନ୍ତ୍ରାଳୟର ଦୁଇ ପୂର୍ବତନ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ୍ ଟେକନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନା ଅନୁସାରେ ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ଅନିମିୟତତା ଅଭିଯୋଗ ହେଉଥିଲା । ଗତ ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ, କୋଇଲା ମନ୍ତ୍ରାଳୟର ଦୁଇ ପୂର୍ବତନ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ୍ ଟେକନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ଦୁର୍ନୀତି ନିବାରଣ ଆଇନର ବିଭିନ୍ନ ଦଫାରେ ଦୋଷୀ ସାବ୍ୟସ୍ତ କରିଥିଲେ।