ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସମୀକ୍ଷା: ‘ଟେଷ୍ଟିଂ ବଢୁଛି, ପ୍ଲାଜମା ଥେରାପି ଫଳ ଆଣୁଛି’

ଭୁବନେଶ୍ୱର(ଏସ୍ ନ୍ୟୁଜ): ‘ପଇସା ଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ। କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି’ ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଥିବା ଦାବି କରିଛନ୍ତି ନବୀନ।

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଅଧିକରୁ ଅଧିକ ଲୋକଙ୍କ ଜୀବନ ଯେପରି ବଞ୍ଚାଯାଇପାରିବ ସେ ଦିଗରେ ଆମେ ନିଷ୍ଠାର ସହିତ କାର୍ଯ୍ୟ କରୁଛୁ’। କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ଲକ୍ଷଣ ପ୍ରକାଶ ମାତ୍ରେ ତୁରନ୍ତ ସ୍ବେଚ୍ଛାକୃତ ଭାବେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି।

ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୩୨ ହଜାର ଟେଷ୍ଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଏଥିସହ ଲୋକେ ଯେପରି ନିଜ ଆଡୁ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ମଧ୍ୟ ଦେଇଛନ୍ତି।

ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ଏବଂ ରୋଗୀମାନଙ୍କୁ ମେଡିସିନ୍‌ କିଟ୍‌ ଓ ଟେଲି ମେଡିସିନ ଯୋଗେ ଡାକ୍ତରୀ ସୁବିଧା ଯୋଗାଇ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର ଜିଲ୍ଲା ଗୁଡ଼ିକ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଆସିଛି।

ଗତ ତିନି ସପ୍ତାହ ମଧ୍ୟରେ ରାଜ୍ୟରେ ପାଞ୍ଚଟି ପ୍ଲାଜମା ବ୍ୟାଙ୍କ ସ୍ଥାପନ ହୋଇପାରିଛି ଏବଂ ଏହି ଚିକିତ୍ସା ଜରିଆରେ ରୋଗୀମାନେ ଶୀଘ୍ର ସୁସ୍ଥ ହେଉଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନ ଏବଂ ଡାକ୍ତରମାନଙ୍କୁ ସାଧୁବାଦ ଜଣାଇଛନ୍ତି। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଜିଲ୍ଲା ସ୍ତରରେ ପ୍ଲାଜ୍‌ମା ଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବାପାଇଁ ବୈଠକରେ ସ୍ଥିର ହୋଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ ଜଣ ପ୍ଲାଜ୍‌ମା ଦାନ କରିଥିବା ବେଳେ ୧୩୨ ଜଣ ପ୍ଲାଜ୍‌ମା ଥେରାପିରେ ଚିକିତ୍ସିତ ହେଉଛନ୍ତି। ୧୦ ଜଣ ସମ୍ପୁର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୯୮ ଜଣଙ୍କ ସ୍ବାସ୍ଥ୍ୟରେ ଆଖିଦୃଶିଆ ଉନ୍ନତି ଆସିଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୈଠକରେ ସୂଚନା ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଆରୋଗ୍ୟ ହାର ୬୮.୬ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୦.୬୦ ରହିଛି। ଏହି ଅବସରରେ ରାଜ୍ୟର ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ RT-PCR ମେସିନ ସ୍ଥାପନ କରିବା ଏବଂ ଲାବ୍‌ ସଂଖ୍ୟା ବୃଦ୍ଧି କରିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାର କୋଭିଡ୍‌ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲ୍ଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି), ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।