ମା’ ତାରାତାରିଣୀଙ୍କ ପୀଠ ରେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ…

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ବନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।

ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ‌ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖ ରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।