ରାଜ୍ୟରେ ଏହି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ ।