ଭୁବନେଶ୍ୱର,(ଏସ୍ ନ୍ୟୁଜ): ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସାରା ଓଡ଼ିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ଏଥି ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢ଼େଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଧା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।