୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ

ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ ….

ଭୁବନେଶ୍ବର: ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୪ରେ ଦକ୍ଷିଣ ଓଡ଼ିଶାର ୪ଟି ଓ ୫ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଶନିବାର ପୂର୍ବାହ୍ନ ମଧ୍ୟରେ କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ(୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଥିବାରୁ ରେଡ୍‌ ଆଲର୍ଟ ଜାରି ହୋଇଛି। ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୁବର୍ଣ୍ଣପୁର ଓ ସମ୍ବଲପୁରରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ ସହ ରେଡ୍‌ ଆଲର୍ଟ ଦିଆଯାଇଛି। କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।