ରାଜ୍ୟର ସବୁ ବସ୍ତି ହେବ ଆଦର୍ଶ କଲୋନୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଏସ୍ ନ୍ୟୁଜ): ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ସେ ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଲେ ଯେ ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ।

ବାଲେଶ୍ବରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ ଲୋକଙ୍କୁ ଜମି ପଟା ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ କରିଛନ୍ତି। ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ ପଟା ପ୍ରଦାନ କରାଯାଇଛି। ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ ଏହି ପ୍ରମାଣପତ୍ର ପାଇବେ। ସୂଚନାଯୋଗ୍ୟ ଯେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ ଏହାଦ୍ବାରା ଉପକୃତ ହେବେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି । ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ପାଇଁ ସେ ଧନ୍ୟବାଦ ଦେଇଥିଲେ।