୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ଉତ୍ତର ବିହାରରୁ କେନ୍ଦ୍ରୀୟ ଛତିଶଗଡ଼ ପର୍ଯ୍ୟନ୍ତ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଲଘୁଚାପ ରେଖା ବ୍ୟାପି ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଂଶରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି କରାଯାଇ ଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ଏବଂ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିସହ ବଜ୍ରପାତ ସମୟରେ ପଦାକୁ ନବାହାରି ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦେଇଛି।