ଆଜିଠୁ ଲଘୁଚାପ: ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ୱର (ଏସ୍ ନ୍ଯୁଜ): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୨୦ ତାରିଖରେ ରାଜ୍ୟର ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୧ ତାରିଖରେ ୧୧ଟି ଜିଲ୍ଲା ଯଥା ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, ସୋନପୁର ଓ ସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୨୨ ତାରିଖରେ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।