କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।