ରୋଷଘରେ ଚୁଲିଭଙ୍ଗା ଘଟଣାକୁ ନେଇ ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି ବୋଲି ଟ୍ୱିଟ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି ଯେ ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ଗଣମାଧ୍ୟମରୁ ଜାଣିବାକୁ ପାଇଲି । ଏହି ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି ।

ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ । ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ ।

ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ । ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍‌ କରିଛନ୍ତି ।